🔥 TRENDING EOU raids four properties of Bajpatti... Madhya Pradesh High Court Quashes Deva... ବିଦ୍ୟାଭାରତୀଙ୍କ ଜାମିନ ଆବେଦନ ଖାରଜ କଲେ ଅତ... 100‑kg Safe Found in Indore’s Lalbagh... ବାତ୍ୟା ଆଲର୍ଟ: ରାଜ୍ୟର ୮ ଜିଲ୍ଲାରେ ସ୍କୁଲ୍... Rajasthan High Court denies relief to...
19 Nov 2026•
ગુજરાતી मराठी ਪੰਜਾਬੀ বাংলা
Education

୮ ଜିଲ୍ଲାରେ ସ୍କୁଲ ଛୁଟି; କେଉଁଠି ୨ ଦିନ ତ ଆଉ କେଉଁଠି ୩ ଦିନ

✍️ Reporter: Deepak Mahapatra 🗓 19 Nov 2026, 11:39 AM 👁 24
Share: 💬 WhatsApp 📘 Facebook 𝕏 Post
ଓଡ଼ିଶା ମୁହାଁ ହେଉଛି ବାତ୍ୟା ଅକୱନ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ସ୍ଥାନେ ସ୍ଥାନେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ତା’ ସହିତ ପବନ ହେବ। ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ରାଜ୍ୟର ୮ଟି ଜିଲ୍ଲାରେ ଆସନ୍ତା ଦୁଇ/ତିନି ଦିନ ପାଇଁ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଗତକାଲି ମାଲକାନଗିରି ଜିଲ୍ଲାରେ ୧୯ ଓ ୨୦ ତାରିଖ ପାଇଁ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଥିବା ବେଳେ ଆଜି ଆଉ ୭ ଜିଲ୍ଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି।


ବାତ୍ୟା ’ଅକୱନ’କୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାକୁ ଆସନ୍ତାକାଲି ରେଡ୍ ୱାର୍ଣ୍ଣିଂ ଓ ଶୁକ୍ରବାର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଶୁକ୍ରବାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଦୁଇ ଦିନ (ନଭେମ୍ବର ୧୯ ଓ ୨୦) ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।

ଏଥିରେ ସ୍ପଷ୍ଟ ଭାବେ ଉଲ୍ଲେଖ କରଯାଇଛି ଯେ ୧୯ ଓ ୨୦ ତାରିଖରେ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ସେହିପରି ପ୍ରଥମ ଶ୍ରେଣୀରୁ ଧରି ଯୁକ୍ତ ଦୁଇ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ। ଏହା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ପାଇଁ ଲାଗୁ ହେବ। ସେହିପରି ଜିଲ୍ଲାର ସମସ୍ତ ଡିଗ୍ରୀ କଲେଜ, ବୈଷୟିକ ଅନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟ ଏହି ଦୁଇ ଦିନ ଛୁଟି ରହିବ। ତେବେ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ରହିବେ।

ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ (ନଭେମ୍ବର ୧୯ ଓ ୨୦) ପୁରୀ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ (ଶିଶୁ ବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ) ବନ୍ଦ ରହିବ। ପୁରୀ ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି। ତେବେ ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ ଏବଂ ଆବଶ୍ୟକତା ଅନୁଯାୟୀ ବ୍ଲକ କିମ୍ବା ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ପାଇଁ ପୁରୀକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨୦ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ଶିଶୁ ବାଟିକାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଗୁଡ଼ିକୁ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏଥି ସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।

ସେହିପରି ଜଗତସିଂହପୁର ଓ ଗଜପତି ଜିଲ୍ଲାରେ ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ଛୁଟି ଅଙ୍ଗନବାଡ଼ିଠାରୁ ଆରମ୍ଭ କରି ଯୁକ୍ତ ଦୁଇ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି।

କେଉଁ ଜିଲ୍ଲାକୁ କେଉଁ ୱାର୍ଣ୍ଣିଂ

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କିଛି ସ୍ଥାନରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି। ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବୌଦ୍ଧ ଓ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୧ ତାରିଖରେ କେବଳ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
📲Get App